ବାତ୍ୟା ଜନିତ ଅସୁବିଧା କାରଣରୁ କ୍ଷୁଦ୍ରଗଳ୍ପ ଓ କବିତା ପ୍ରତିଯୋଗିତାର ଫଳାଫଳ ମେ - ୧୦ ତାରିଖ ପରିବର୍ତ୍ତେ ଚଳିତ ମାସ ୩୧ ତାରିଖ ସୁଧା ଘୋଷଣା କରାଯିବ । ଏବଂ ଚଳିତ ମାସ ୨୩ ତାରିଖ ଠାରୁ କବିର ଘର ପ୍ରସ୍ତୁତ "ଆଜିର ଅତିଥି" କାର୍ଯ୍ୟକ୍ରମର ସାପ୍ତାହିକ ପ୍ରସାରଣ ସେବା ଆରମ୍ଭ ହେବ । ଅନିଚ୍ଛାକୃତ ଅସୁବିଧା ନିମନ୍ତେ ଦୁଃଖିତ ।

ତଥ୍ୟ - ପରମ୍ପରାରେ ଜଗନ୍ନାଥ - ସନ୍ତୋଷ ପଟ୍ଟନାୟକ

ତଥ୍ୟ - ପରମ୍ପରାରେ ଜଗନ୍ନାଥ - ସନ୍ତୋଷ ପଟ୍ଟନାୟକ

ଦେବସ୍ନାନପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ଵନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ ।

ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତି- ଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ । ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହା ଉପରେ ସ୍ନାନବିଧି ସମାପନ ହୋଇଥିଲା । ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି । ଶାସ୍ତ୍ରମତରେ ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା । ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି । ସୂଚନାଯୋଗ୍ୟ, ଶାସ୍ତ୍ର ମତରେ ଜ୍ୟୋଷ୍ଠ ପୂର୍ଣ୍ଣିମା ଦିବସରେ ମହାପ୍ରଭୁଙ୍କ ଆବିର୍ଭାବ ହୋଇଥିଲା ଜ୍ୟୋଷ୍ଠମାସ ପୂର୍ଣ୍ଣମୀରେ ମହାପ୍ରଭୁଙ୍କ ପ୍ରଥମ ସ୍ଥାନଲୀଳା ଜାତି, ବର୍ଣ୍ଣ, ନିର୍ବଶେଷରେ ସମସ୍ତେ ଦର୍ଶନ କରିଥିବାରୁ ଏହି ଲୀଳାକୁ ପତିତପାବନ ଲୀଳା କୁହାଯାଏ ।

ମହାପ୍ରଭୁଙ୍କ ଏହି ସ୍ନାନରେ ବ୍ୟବହୃତ ୧୦୮ ଗରା ପାଣି ସୁନାକୂଅରୁ ସଂଗୃହୀତ ହେଇଥାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଯେପରି ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ' ବୋଲି କୁହାଯାଏ । ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ଵାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ । ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ l ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ "ପ୍ରତ୍ୟେକ୍ଷ ଅବକାଶ" କହନ୍ତି । ପ୍ରଭୁ ଏହି ଦିନ ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ।




ସଂଗୃହୀତ ତଥ୍ୟ ଆଧାରରେ: ସନ୍ତୋଷ ପଟ୍ଟନାୟକ, ଗଞ୍ଜାମ

0 Comments